କାଲିଠାରୁ ୫ ଦିନିଆ ଦିଲ୍ଲୀଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର, ୨୮।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୫ ଦିନିଆ ନୂଆଦିଲ୍ଲୀଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ଏପ୍ରିଲ ୩୦ ତାରିଖ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ମେ’ ୧ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନ ଥିବା ବେଳେ ୨ ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ୩ ତାରିଖ ଅପରାହ୍ନ ସାଢ଼େ ୧ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.