ନୂଆ ରୂପରେ ଆସିବ ‘ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା’

ସାଢ଼େ ୩ କୋଟି ଓଡ଼ିଆଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

0

ଭୁବନେଶ୍ଵର, ୧୫।୮: ଆଜି ସାରା ଦେଶ ୭୫ତମ ସ୍ଵାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ଵର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ରାଜ୍ୟରେ ସ୍ଵାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆ ରୂପରେ ଆସିବ ‘ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା’। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ। ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି।’

ନୂଆ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୯୬ ଲକ୍ଷ ପରିବାର ତଥା ସାଢ଼େ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ। ସାରା ଓଡ଼ିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ। ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ ଆଦି ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପ୍ରତିବର୍ଷ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍‌ପିଟାଲ ଚେନ୍‌ଗୁଡ଼ିକରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ ବୋଲି ନବୀନ କହିଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି, ‘ଏହା ସାରା ଦେଶର ସ୍ଵାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ। ମୋର ବିଶ୍ଵାସ, ମୋର ପ୍ରିୟ ଓଡ଼ିଶାବାସୀଙ୍କୁ ସ୍ଵାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ଼ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ। ରାଜ୍ୟରେ ସ୍ଵାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ।’

 

 

Leave A Reply

Your email address will not be published.