ବାତିଲ ହେଲା ଦ୍ବାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ଵର, ୬ : ବାତିଲ ହେଲା ଦ୍ଵାଦଶ ଶ୍ରେଣୀ ପରୀକ୍ଷା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଦେଶରେ କୋଭିଡ୍‌ ମହାମାରୀର ଦ୍ଵିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛିଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢ଼ା ଓ ଲୋକମାନଙ୍କର ଜୀବନଜୀବିକା କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ଵରେ ରହିଛି ମଣିଷ ଜୀବନର ସୁରକ୍ଷା ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ଵାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ । ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ଵାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ, ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ଦ୍ଵାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ଵାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.