ଭୁବନେଶ୍ୱର, ୨୫/୯: ଶ୍ରୀଜଗନ୍ନାଥଙ୍କ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ ଅଣସେବାୟତଙ୍କୁ ଜମି ଅଧିକାର ପ୍ରଦାନ ନେଇ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ ଆଜି ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଆଲୋଚନା ହୋଇଥିଲା।
ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ ଓ ସ୍ୱଚ୍ଛ କରିବା ପାଇଁ ଏକ ଇ-ପୋର୍ଟାଲର ବିକାଶ କରାଯିବ। ଏଥିରେ ଶ୍ରୀଜଗନ୍ନାଥଙ୍କ ଜମି ଭୋଗଦଖଲ କରୁଥିବା ସେବାୟତ ଓ ଅଣସେବାୟତମାନେ ନିଜ ନିଜର ତଥ୍ୟ ସହଜ ଓ ସରଳ ଉପାୟରେ ପ୍ରଦାନ କରିପାରିବେ। ଜମି ଦଖଲରେ ଥିବା ସମସ୍ତଙ୍କ ଏକ ସମ୍ପୂର୍ଣ୍ଣ ଡାଟାବେସ୍ ପ୍ରସ୍ତୁତ ହେବା ସହ ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ବ୍ୟବସ୍ଥା ଅଧିକ ସହଜ ଓ ଶୃଙ୍ଖଳିତ ହୋଇପାରିବ। ଏହି ବ୍ୟବସ୍ଥାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ସହ ଇ-ପୋର୍ଟାଲକୁ ଅଧିକ ଉପଯୋଗୀ କରିବା ନେଇ ଆବଶ୍ୟକ ପରାମର୍ଶ ଦେଇଥିଲେ।
ଶ୍ରୀମନ୍ଦିର ମୁଖ୍ୟ ପରିଚାଳକ ତଥା ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ ଦେବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଅତିରିକ୍ତ ଶାସନ ସଚିବ ଶିବପ୍ରସାଦ ମହାପାତ୍ର ଅଂଶଗ୍ରହଣ କରିଥିଲେ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଆଭାସି ମାଧ୍ୟମରେ ଯୋଗ ଦେଇଥିବାବେଳେ ଓକାକ୍ ଓଏନ୍ଆଇସିର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।