ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ଅନୁମୋଦନ

ପାଇକ ସଂସ୍କୃତି ଓ ପରମ୍ପରାର ହେବ ପ୍ରଚାର ପ୍ରସାର

0

ଭୁବନେଶ୍ବର,୮/୯ : ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।  ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ଲାଗି ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର   ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ । ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ପାଇକମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ । ଶିକ୍ଷାର୍ଥୀମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ । ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରକାଶ ଯେ, ୧୮୧୭ମସିହାରେ ଖୋର୍ଦ୍ଧା ମାଟିରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକମାନେ ମତପ୍ରକାଶ କରନ୍ତି । ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ  ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହ ଆଲୋଚନା କରିଥିଲେ । ଓଡ଼ିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

 

Leave A Reply

Your email address will not be published.