ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା ଓ ବାଲିଯାତ୍ରା

ଭୁବନେଶ୍ବର, ୩୧/୩: ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା ଓ ବାଲିଯାତ୍ରା ସାମିଲ ହୋଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୋମବାର ସମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ପରିଚାଳିତ ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ କରାଯାଇଛି। ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି। ଋଗ୍‌ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ହୋଇଛି। ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ। ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ। ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ। କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି ।

ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା। ଏହାକୁ ଏକ ଗଣମହୋତ୍ସବ ଭାବେ ଦେଖାଯାଏ। ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ। କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ‘ଆକାମାବୈ’ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି। ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା।

 

Comments are closed.